ଜିଲ୍ଲାପ୍ରଶାସନ ପକ୍ଷରୁ ଓଡ଼ିଆ ପକ୍ଷ-୨୦୨୬ ପାଳିତ
ଫୁଲବାଣୀ ୪/୪ (ଅଚ୍ୟୁତ ଜାନୀ) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସାରା ଓଡ଼ିଶାରେ ପାଳିତ ହେଉଥିବା ‘ଓଡ଼ିଆ ପକ୍ଷ-୨୦୨୬’ ଅବସରରେ ଆଜି କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ “ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ” ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଆଜି ସକାଳେ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଆୟୋଜିତ ଏକ ଭବ୍ୟ ପଦଯାତ୍ରାକୁ ମାନ୍ୟବର ଫୁଲବାଣୀ ବିଧାୟକ ଶ୍ରୀ ଉମାଚରଣ ମଲ୍ଲିକ ଏବଂ କନ୍ଧମାଳ ଜିଲ୍ଲାପାଳ ଶ୍ରୀ ବେଦଭୂଷଣ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ତଥା ଓଡ଼ିଶା ଦୋକାନ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନ (ସଂଶୋଧନ) ଅଧିନିୟମ ଅନୁଯାୟୀ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମ ଫଳକ ଲଗାଇବା ପାଇଁ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରାଯାଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଶଳ ଚନ୍ଦ୍ର ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ଶ୍ରୀ ଶମ୍ଭୁନାଥ ନନ୍ଦୀ, ଫୁଲବାଣୀ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଶ୍ରୀ ଗଦାଧର ପାତ୍ର, ଫୁଲବାଣୀ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସମରେଶ ମହାନ୍ତି, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ବିଶ୍ଵରଞ୍ଜନ କହଁର, ବିଭିନ୍ନ ବିଭାଗୀୟ ଅଧିକାରୀ, ଅଙ୍ଗନବାଡ଼ି କର୍ମୀ, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଓ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗ ଦେଇଥିଲେ। ଏହି ସଚେତନତା ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ବାହାରି ମାଦିକୁନ୍ଦା ଛୋକ ପର୍ଯ୍ୟନ୍ତ ଯାଇଥିଲା